ଭୁବନେଶ୍ବର: ଗତକାଲିର ଘୂଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଏହା ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି। ଫଳରେ ଆଜି ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ସମ୍ଭାବନା ରହିଛି।

Advertisment

ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ‌ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ୭୦ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିଭଳି ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୭ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତ ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷା ତୁଳନାରେ ଏହା ୧୪% ଅଧିକ। ସର୍ବାଧିକ ବର୍ଷା କଟକ ଜିଲ୍ଲାର ବାଙ୍କୀଠାରେ ୧୩୩ ମିମି ରେକର୍ଡ ହୋଇଛି। ୧ ଜୁନ୍‌ରୁ ୪ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ସର୍ବମୋଟ ୮୧୫.୨ ମିମି ବର୍ଷା ହୋଇଯାଇଛି। ଯାହାକି ସ୍ବାଭାବିକ ବର୍ଷା ୯୫୨.୫ ମିମି ତୁଳନାରେ ୧୪% କମ୍‌। ରାଜ୍ୟର ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।