ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୨୫ ତାରିଖ(ସୋମବାର)ଠାରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ପବନ ଓ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ଲାଗିରହିବ। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ସହ ଉତ୍ତର ବଙ୍ଗୋପସାଗର ଉପରେ ବର୍ଷା ପବନ ରହିବାକୁ ଥିବାରୁ ଉତ୍ତର ଓଡ଼ିଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେପଟେ ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଏଥିସହ ଜଡ଼ିତ ଉପର ବାୟୁ ପୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ସହ ଦକ୍ଷିଣ ଆଡ଼କୁ ଘୂର୍ଣ୍ଣିବଳୟ ପର୍ଯ୍ୟନ୍ତ ବ୍ୟାପିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଧୀରେ ଧୀରେ ଦୁର୍ବଳ ହୋଇଯିବ। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୦ ମିମିରୁ ଅଧିକ ବର୍ଷା ହୋଇଥିବା ସୂଚନା ମିଳିଛି।