ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି (ବୁଧବାର) ସକାଳେ ‘ୱେଲମାର୍କ-ଲୋପ୍ରେସର’ରେ ପରିଣତ ହୋଇଯାଇଛି। ଆସନ୍ତାକାଲି (ଗୁରୁବାର) ଏହି ଲଘୁଚାପ ଅବପାତରେ ପରିଣତ ହେବା ସହ ପରବର୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

Advertisment

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୱେଲମାର୍କ ଲୋ ପ୍ରେସରଟି ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। ପରବର୍ତୀ ସମୟରେ ଏହା ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରି ଓଡିଶା ଉପକୂଳ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ-ବଙ୍ଗଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ତେବେ, ଲଘୁଚାପ ପ୍ରଭାବରେ ଓଡ଼ିଶାର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ତାରିଖ ମଧ୍ୟାହ୍ନ ସୁଦ୍ଧା ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ବାଲେଶ୍ୱର, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୨ ଓ ୨୩ ତାରିଖରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଗଜପତି, ଖୋର୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୩ ଓ ୨୪ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।