ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଶନିବାର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ। ଏଣୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିନ୍ତୁ ରାଜ୍ୟର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଉତ୍ତର ଓଡ଼ିଶାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୧୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୨୦ ତାରିଖ ଦିନ ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୋନପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଶନିବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ରାଜ୍ୟରେ ବର୍ଷା ବଢ଼ିବା ଆରମ୍ଭ କରିବ। ବିଶେଷ କରି ଉତ୍ତର ଉପକୂଳରେ ବର୍ଷା ପରିମାଣ ଅଧିକ ରହିବ। ୧୯ ଓ ୨୦ ତାରିଖରେ ଦକ୍ଷିଣ-ପଶ୍ଚିମ ଓଡ଼ିଶାକୁ ଛାଡ଼ିଲେ ସାରା ରାଜ୍ୟରେ ବର୍ଷା ହେବ। ଏଥିସହ ୧୯ ତାରିଖ ଆଡ଼କୁ ମୌସୁମୀ ଟ୍ରଫ୍ ସହ ଏହି ଲଘୁଚାପ କ୍ଷେତ୍ର ମିଶିଯିବ; ତେବେ ଏହା ଅଧିକ ଘନୀଭୂତ ହେବ ନାହିଁ। ଫଳରେ ରାଜ୍ୟରେ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ହେବ। ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଯଥା ଅବିଭକ୍ତ କୋରାପୁଟ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା କମ୍ ରହିବ ବୋଲି ଡ. ପଶୁପାଳକ କହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/cyclone-f.jpg)