ଆଜି ୨୦ ଜିଲ୍ଲାରେ ବର୍ଷା ଓ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସୂର୍ଯ୍ୟଙ୍କର ପ୍ରକୋପ କିଛିଟା କମ ରହିଥିବା ବେଳେ ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାରେ ସୂର୍ଯ୍ୟ କିରଣ ପ୍ରଖର ରହିବା ସହ ପ୍ରବଳ ତାତି ଅନୁଭୂତ ହୋଇଛି। ତେବେ, ଆଜି (ଗୁରୁବାର) ଅପରାହ୍ନରୁ ଆସନ୍ତାକାଲି (ଶୁକ୍ରବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ ମଧ୍ୟମ ବର୍ଷା ଓ ୧୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି ସତର୍କ ସୂଚନା ମୁତାବକ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, କାନ୍ଧମାଳ ଜିଲ୍ଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୦ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଏଥିସହ ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧିତ ଖବର