ରାଜ୍ୟରେ ମୌସୁମୀ ସକ୍ରିୟ, ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ

ଭୁବନେଶ୍ବର: ସାରା ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ହୋଇ ସାରିଥିବା ବେଳେ ଗତ ୧୫ ଦିନରେ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ଜୁନ୍‌ ୧ରୁ ୧୫ ତାରିଖ ମଧ୍ୟରେ ରାଜ୍ୟରେ ହାରାହାରି ୧୦୨.୩ ମିମି ବର୍ଷା ରେକର୍ଡ ହୋଇଛି। ଏହି ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୭୭.୨ ମିମି ବର୍ଷା ହୋଇଥାଏ। ଅର୍ଥାତ ରାଜ୍ୟରେ ଏହି ୧୫ ଦିନ ଭିତରେ ଏ ପର୍ଯ୍ୟନ୍ତ ୨୯% ଅଧିକ ବର୍ଷା ହୋଇଛି। ଖାଲି ସେତିକି ନୁହେଁ, ରାଜ୍ୟର ୧୬ ଜିଲ୍ଲାରେ ସ୍ବାଭାବିକଠାରୁ ୨୦% ଅଧିକ ବର୍ଷା ହୋଇଯାଇଛି। ଅବଶିଷ୍ଟ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକିଏ ଅଧିକ ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୭ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବର୍ଷା ହେବ। ୧୮ ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ଏହି ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର