ଭୁବନେଶ୍ବର: ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଅନ୍ତର୍ଜାତୀୟ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍‌ ମିସନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟ୍‌ର ଗୁରୁତ୍ୱ ଏବଂ ଉପକାରିତା ସଂପର୍କରେ ପ୍ରଚାରପ୍ରସାର ଏବଂ କାର୍ଯ୍ୟକ୍ରମ ଆୟୋଜନ ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଏବଂ ଫେଡେରେସନ୍‌ ଅଫ୍‌ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ (ଫିକି) ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପସ୍ଥିତିରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଏବଂ ଫିକିର ସହଯୋଗୀ ସମ୍ପାଦକ ଜେନେରାଲ ମୌସୁମୀ ଘୋଷ ଏଥିରେ ସ୍ୱାକ୍ଷର କରିଛନ୍ତି।

Advertisment

ବୁଝାମଣାପତ୍ର ଅନୁଯାୟୀ କୃଷି ବିଭାଗ ଏବଂ ଫିକିର ସହଭାଗିତାରେ ମିଲେଟ୍‌କୁ ନେଇ ବର୍ଷସାରା ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହେବ। କୃଷି ବିଭାଗ ନିୟମିତ ଭାବେ କାର୍ଯ୍ୟକ୍ରମଗୁଡ଼ିକ ସମୀକ୍ଷା ଏବଂ ତଦାରଖ ସହିତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବ। ମିଲେଟ୍‌ର ପ୍ରଚାରପ୍ରସାର ପାଇଁ ଜନସମ୍ପର୍କ ସଂସ୍ଥା, ଡିଜାଇନର ପାର୍ଟନର, ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ, ନଲେଜ ପାର୍ଟନର, ଗବେଷଣା ଆଦିରେ ଫିକି ସହଭାଗିତା ରହିବ। ମିଲେଟ୍‌ର ପ୍ରଚାର ପାଇଁ ବ୍ରାଣ୍ଡ ଆମ୍ବାସା଼ଡର ନିଯୁକ୍ତି, ସାମାଜିକ ଗଣମାଧ୍ୟମରେ ପ୍ରଚାର ଆଦି କାର୍ଯ୍ୟ ସହିତ ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଅହମ୍ମଦାବାଦ, ହାଇଦ୍ରାବାଦ, ଚେନ୍ନାଇ ଆଦି ସହରରେ ମିଲେଟ୍‌ ଖାଦ୍ୟ ପ୍ରଦର୍ଶନୀର ଆୟୋଜନ ହେବ। ଏଫ୍‌ଏମ୍‌ସିଜି କମ୍ପାନିମାନଙ୍କୁ ମିଲେଟ୍‌ ଜାତୀୟ ଖାଦ୍ୟକୁ ମୂଲ୍ୟଯୁକ୍ତ କରିବା ପାଇଁ ପୁଞ୍ଜିନିବେଶ ଲାଗି ଆଲୋଚନା ହେବ। ଏଥିସହ ସହରାଞ୍ଚଳରେ ମିଲେଟ୍‌ର ବ୍ୟାପକ ପ୍ରଚାର ଓ ଜନସଚେତନତା ଦିଗରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଗଣମାଧ୍ୟମରେ ବିଶେଷଜ୍ଞମାନଙ୍କ ଦ୍ୱାରା କାର୍ଯ୍ୟକ୍ରମର ଆୟୋଜନ କରାଯିବ। ମିଲେଟ୍‌ ଜାତୀୟ ଖାଦ୍ୟର ପ୍ରଚାର ଦିଗରେ ଖାଦ୍ୟ ପ୍ରସ୍ତୁତି ନେଇ ବିଭିନ୍ନ ରୋଷେଇ କାର୍ଯ୍ୟକ୍ରମ ଓ ରୋଷେଇ ପ୍ରତିଯୋଗିତା ଟିଭି ଚ୍ୟାନେଲ ଏବଂ ହୋଟେଲ୍‌ ଆସୋସିଏସନ୍‌ ଦ୍ୱାରା ଆୟୋଜନ କରାଯିବ। ଓଡ଼ିଶା ମିଲେଟ୍‌ ମିସନ ସଂପର୍କରେ ବୃତ୍ତଚିତ୍ର ପ୍ରସ୍ତୁତ କରାଯିବ।

ଏହି ଅବସରରେ ଫାଉଣ୍ଡେସନ୍‌ ବୁକ୍‌ ଅନ୍‌ ମିଲେଟ୍‌ସ୍‌ର ଅନ୍ତର୍ଜାତୀୟ ପ୍ରକାଶନ ମଧ୍ୟ କରାଯିବ। ଇଣ୍ଟରନ୍ୟାସନାଲ୍‌ କନ୍‌ଭେନ୍‌ସନ୍‌ ଅନ୍‌ ମିଲେଟ୍‌ର ଆୟୋଜନ ନିମନ୍ତେ ମଧ୍ୟ ଫିକି ଆବଶ୍ୟକ ସହଯୋଗ ଯୋଗାଇଦେବ। ଭୁବନେଶ୍ୱର ଓ ରାଉରକେଲାଠାରେ ପୁରୁଷ ବିଶ୍ୱକପ୍‌ ହକି ପ୍ରତିଯୋଗିତା ସମୟରେ ମିଲେଟ୍‌ ସଂପର୍କିତ ଭିଡିଓ ପ୍ରଦର୍ଶନ କରାଯିବା ସହିତ ଖେଳାଳି ଓ ଅତିଥିମାନଙ୍କୁ ମିଲେଟ୍‌ ସମ୍ବନ୍ଧୀୟ ସ୍ମରଣିକା, ବ୍ୟାଗ୍‌ ଓ ପୁଷ୍ପଗୁଚ୍ଛ ଆଦି ପ୍ରଦାନ କରାଯିବ। ଖେଳାଳିମାନଙ୍କ ଖାଦ୍ୟ ତାଲିକାରେ ଯେପରି ମିଲେଟ୍‌ରୁ ପ୍ରସ୍ତୁତ ଖାଦ୍ୟ ସ୍ଥାନ ପାଇବ, ସେଥିପ୍ରତି ହୋଟେଲଗୁଡ଼ିକ ସହିତ ସମନ୍ୱୟ ରକ୍ଷା କରାଯିବ। କାର୍ଯ୍ୟକ୍ରମ ଅବସରରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସ୍ୱତନ୍ତ୍ର ଶାସନ ସଚିବ ସଂଜୀବ କୁମାର ଚଢ଼ାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଓ ଫିକିର କର୍ମକର୍ତ୍ତା ଉପସ୍ଥିତ ଥିଲେ।