ବିଧାନସଭାରେ ଶୋକ, ଗୃହ ମୁଲତବୀ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬ ଜଣ ପୂର୍ବତନ ବିଧାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ସେମାନେ ହେଲେ ଚଳିତ ବିଧାନସଭାର ସଦସ୍ୟ ଥିବା ବିଜୟ ରଞ୍ଜନ ସିଂହ ବରିହା ଓ ବିଷ୍ଣୁ ଚରଣ ସେଠୀ, ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକ, କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀ।

ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସିପିଆଇ(ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇ ଦିବଂଗତ ସଦସ୍ୟମାନଙ୍କ ସ୍ମୃତିଚାରଣ କରିଥିଲେ। ଶେଷରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା ପରେ ସେମାନଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଏକ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା। ଏହା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ।

ସମ୍ବନ୍ଧିତ ଖବର