ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର, ଲୋକଙ୍କ ସାଥିରେ ରୁହ ଓ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର | ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପରାମର୍ଶ ଦେଇଛନ୍ତି | ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶମୁଖି ଦେଶମାନଙ୍କ ପାଇଁ ଏକ ମଡେଲ ହୋଇଛି | ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ | ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି |

ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ | ସେହିପରି ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବାବେଳେ ରାଜ୍ୟର କୋଡିଏଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି | ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌରସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ |

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥିଭାତନାନ ଓ ପୌର ନିର୍ଦ୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ |

ସମ୍ବନ୍ଧିତ ଖବର