ପୁରୀ/ଭୁବନେଶ୍ବର: ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ନବନିଯୁକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା। ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ନିଯୁକ୍ତ ହେବା ପରେ ଆଜି ସନ୍ଧ୍ୟାରେ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦାୟିତ୍ବ ଗ୍ରହଣ କରିବା ପୂର୍ବରୁ ପ୍ରଦୀପ ଜେନା ଆଜି ବିଳମ୍ବିତ ସନ୍ଧ୍ୟାରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ନେଇଛନ୍ତି।
ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଜେନା ଆସନ୍ତା ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ। ୧୯୮୯ ବ୍ୟାଚ୍ର ଏହି ଭାରତୀୟ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର ଓ ସ୍ବତନ୍ତ୍ର ରିଲିଫ କମିସନର ଅଛନ୍ତି। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଲା ପରେ ସେ ତାଙ୍କ ସ୍ଥାନରେ ନୂଆ ଦାୟିତ୍ବ ଗ୍ରହଣ କରିବେ।
ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା। ୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ। ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି। କୃଷି ନିର୍ଦ୍ଦେଶକ ପଦରେ ଥାଇ ଚାଷୀମାନଙ୍କ ପାଇଁ ଅନେକ ସୁଦୂର ପ୍ରସାରୀ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ସେହିପରି କୋଭିଡ୍ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/a433e650-ea6c-4d58-8d87-8e33689e2cc2.jpg)