ନୀଳାଦ୍ରିନାଥଙ୍କ ନୀଳାଦ୍ରିବିଜେ ଆଜି

୪ଟାରେ ପହଣ୍ଡି ଆରମ୍ଭ, ରାତି ୧୦ରେ ଶେଷ, ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ

ନୀଳାଦ୍ରିନାଥଙ୍କ ନୀଳାଦ୍ରିବିଜେ ଆଜି

ପୁରୀ : ସରିଛି ନବଦିନାତ୍ମକ ଘୋଷଯାତ୍ରା।୧୨ ଦିନର ମାନବୀୟ ଲୀଳାଖେଳା ଶେଷ ପରେ ଶନିବାର ସିଂହଦ୍ବାରରେ ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିରକୁ ବିଜେ କରିବେ। ରଥାରୂଢ଼ ଠାକୁରେ ଗୋଟି ପହଣ୍ଡିରେ ରତ୍ନସିଂହାସନକୁ ଫେରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡ ଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ଅଧର ନୀତି ଶେଷ ପରେ ଆଜି (ଶନିବାର)ର ନୀତି ଆରମ୍ଭ ହେବ। ଶ୍ରୀମନ୍ଦିର ପ୍ରଶାସନ ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।

publive-image ନୀଳାଦ୍ରିବିଜେ ଓ ରସଗୋଲା ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା

ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର ୪ଟାରେ ତିନି ରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶ ଶେଷ ହେବ। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସଂଧ୍ୟାଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସଂଧ୍ୟାଧୂପ ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନି ରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ। ରାତି ସାଢ଼େ ୧୨ଟା ସୁଦ୍ଧା ରୁନ୍ଧା ସରିବା ପରେ ଗୋଟାଏରୁ ଦଇତାପତି ସର୍ବାଙ୍ଗ, ଶ୍ରୀମୁଖ ଖଣ୍ଡୁଆ, ଚାରମାଳ ଫିଟା ନୀତି ଅନୁଷ୍ଠିତ ହେବ। ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକା ପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ସକାଳ ୫ଟାରେ ରାତ୍ର ପହୁଡ଼ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe