ରାଉରକେଲା/ଭୁବନେଶ୍ବର: ସାରା ଓଡ଼ିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ରାଉରକେଲାଠାରେ ମଙ୍ଗଳବାର‘ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍’କୁ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ବିଶ୍ଵ କ୍ରୀଡା ଇତିହାସରେ ଆଜି ଏକ ସ୍ଵର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳି, ସାଧାରଣ ଜନତା, ଓଡିଶାର ହକିପ୍ରେମୀ, ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିୟମକୁ ମୁଁ ଉତ୍ସର୍ଗ କରୁଛି  ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵକପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରୁଛି।

Advertisment

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ହେଉଛି ଓଡ଼ିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢ଼ି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ଷ୍ଟାଡିୟମ ଓଡ଼ିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିୟମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳିମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିୟାନ୍ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

publive-image

ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିୟମ ଓଡ଼ିଶାର ଛବିକୁ ଆହୁରି ଉଜ୍ଜ୍ବଳ କରିଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିୟମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।