ରାଉରକେଲାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୭୪

ଭୁବନେଶ୍ୱର: ରାଉରକେଲାରେ ଆଜି ସନ୍ଧ୍ୟାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା ୪୯ ବର୍ଷିଅ ବ୍ୟକ୍ତି କ୍ୱାରେଣ୍ଟାଇନରେ ଥିଲେ । ବାରମ୍ବାର ତାଙ୍କର ସ୍ୱାବ ନମୁନା ପରୀକ୍ଷା ପରେ ଆଜି ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଉରକେଲାରେ ଏ ପର୍ଯ୍ୟନ୍ତ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ରାଉରକେଲା ସମେତ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ତେବେ ଆଜି ଗୋଟିଏ ଦିନରେ ଏ ପର୍ଯ୍ୟନ୍ତ ୫ ଜଣ କରୋନା ପଜିଟିଭ (ଗଂଜାମ, କଟକ, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ) ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ୪୪ ହଜାର ୬୬୩ଟି ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି । ୧୬ଟି ଜିଲ୍ଲାରୁ ମୋଟ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, ଗଂଜାମ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କେନ୍ଦ୍ରାପଡ଼ା, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୧୨ ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । କରୋନା ସଂକ୍ରମଣରେ କେବଳ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ।

ସମ୍ବନ୍ଧିତ ଖବର