ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ୍ ମହମ୍ମଦ ରଫିକ

କଟକ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ସୋମବାର ଦିନ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଭୁବନେଶ୍ବର ଲୋକସେବା ଭବନରେ ଏପ୍ରିଲ ୨୭ ତାରିଖ ସକାଳ ୯ଟା ସମୟରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ହାଇକୋର୍ଟର ୩୧ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଦାୟିତ୍ବ ଗ୍ରହଣ କରିବାକୁ ଯାଉଛନ୍ତି। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ ରଫିକ ଓଡ଼ିଶାରେ ଆସି ପହଞ୍ଚିଛନ୍ତି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏପ୍ରିଲ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ତାଙ୍କ ନାମ ସୁପାରିସ କରିଥିଲା। ଏହାପରେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ମିଳିବା ପରେ ଏ ସଂପର୍କିତ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିଲା।

ଜଷ୍ଟିସ ରଫିକ୍ ୧୯୬୦, ମେ୨୫ରେ ସେ ରାଜସ୍ଥାନର ଚୁରୁ ଜିଲ୍ଲାର ସୁଜନଗଡରେ ଜନ୍ମଗ୍ରହଣ କରିଥିଲେ। ୨୦୦୬, ମେ ୧୫ରେ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ନିଜ କାର୍ଯ୍ୟକାଳ ଭିତରେ ସେ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୯, ଏପ୍ରିଲ ୭ରୁ ମେ ୪ ଓ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୫ ପର୍ଯ୍ୟନ୍ତ ସେ ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୯, ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସେ ଶପଥ ଗ୍ରହଣ କରିଥିଲେ।

ସମ୍ବନ୍ଧିତ ଖବର