ଅନ୍ତିମ ଯାତ୍ରାରେ ମହାରଥୀ, ପୁରୀର ସ୍ୱର୍ଗଦ୍ୱାର ଅଭିମୁଖେ ନିଆଯାଉଛି ତାଙ୍କ ମରଶରୀର

ପିପିଲି: ଅନ୍ତିମ ଯାତ୍ରାରେ ମହାରଥୀ। ଶବାଧାର ସହିତ ଲମ୍ବିଛି ଲୋକଙ୍କ ଭିଡ଼ । ଡାକ୍ତରଖାନାରୁ ଆଜି ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯାଇଥିଲା । ବିଭିନ୍ନ ରାଜନୈତିକ ଦଳର ନେତା ଦିବଂଗତ ମହାରଥୀଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରିଥିଲେ । ଏହା ପରେ ପାର୍ଥିବ ଶରୀର ବିଜେଡି ପାର୍ଟି ଅଫିସକୁ ନିଆଯାଇଥିଲା । ଦଳୀୟ କର୍ମୀ ଓ ନେତା ସେଠାରେ ମହାରଥୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ପୈତୃକ ଗାଁକୁ ତାଙ୍କ ପାର୍ଥିବ ଶରୀରକୁ ନିଆଯାଇଥିଲା ।

ପୈତୃକ ଗାଁରେ ଶେଷ ଦର୍ଶନ ପରେ ଶେଷ କୃତ୍ୟ ପାଇଁ ପୁରୀ ସ୍ୱର୍ଗଦ୍ୱାର ଅଭିମୁଖେ ନିଆଯାଉଛି ମହାରଥୀଙ୍କ ମରଶରୀର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।

ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଦୀପ ମହାରଥୀଙ୍କ ନିଧନରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମହାରଥୀଙ୍କ ବିୟୋଗ ରାଜ୍ୟ ରାଜନୀତିର ଅପୂରଣୀୟ କ୍ଷତି ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ମଧ୍ୟ ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସମ୍ବନ୍ଧିତ ଖବର