ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୬ଟା ୧୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ରାଜଭବନକୁ ସିଧାସଳଖ ଯିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ହୋଇଛି। ସୋମବାର ଦିନ କମିସନରେଟ୍ ପୁଲିସ ପକ୍ଷରୁ କାରକେଡ୍ ରିହରସଲ୍ କରାଯାଇଛି।
ରାଜ୍ୟ ସରକାରଙ୍କ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ, ପୁଲିସ ଡିଜି ପ୍ରମୁଖ ସ୍ବାଗତ କରିବେ। ଏହାପରେ ସ୍ବତନ୍ତ୍ର କାର୍କେଡ୍ରେ ରାଷ୍ଟ୍ରପତି ରାଜଭବନକୁ ଯିବେ। ସେଠାରେ ଅତୁଟ ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ। ଏହାପରେ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ।
୨୬ତାରିଖ ସକାଳେ ରାଷ୍ଟ୍ରପତି କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେବେ। ସଂଧ୍ୟାରେ ପୁଣି ରାଜଭବନକୁ ଫେରିବେ। ଏହାପରେ ୨୭ତାରିଖରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବେ। ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିବେ। ୨୭ତାରିଖ ସଂଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।
ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହାସହ ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବାକୁ ଶକ୍ତି ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ସବୁ ସ୍ଥାନରେ ଯଥେଷ୍ଟ ସଂଖ୍ୟକ ଜେନେରେଟର ମହଜୁଦ୍ ରଖିବା ସହ ସେସବୁର କାର୍ଯ୍ୟକ୍ଷମ ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ଯେଭଳି କୌଣସି ତ୍ରୁଟି ନଦେଖାଯାଏ ସେ ନେଇ କମିସନରେଟ୍ ପୁଲିସ ପ୍ରସ୍ତୁତି ଆରମ୍ଭ କରିଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଡିସିପି ପ୍ରତୀକଙ୍କ ନେତୃତ୍ବରେ ୧୨ଜଣ ଆଡିସିନାଲ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୨୦ ଜଣ ଏସ୍ଆଇ ଓ ଏଏସ୍ଆଇ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ। ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିଭଳି ୧୬୦ ଟ୍ରାଫିକ୍ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ।