ସୁବର୍ଣ୍ଣପୁର: ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ପୁଣି ଜୋରଦାର ବିରୋଧ କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା କୋଟ ସମଲେଇ-ଉଲୁଣ୍ଡା ରାସ୍ତାରେ ଆମ ଆଦମୀ ପାର୍ଟି ପକ୍ଷରୁ ୫ଟି ସଚିବଙ୍କ କାରକେଡକୁ ଅଣ୍ଡାମାଡ଼ କରାଯାଇଛି। ଏହା ସରକାରୀ ଗସ୍ତ ନୁହେଁ, ବରଂ ଏହା ବିଜେଡି ଦଳର ଗସ୍ତ ବୋଲି ଆମ ଆଦମୀ ପାର୍ଟି ପକ୍ଷରୁ ଅଭିଯୋଗ ହୋଇଛି। ପୂର୍ବରୁ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ବିଜେପି ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଇଛି।

Advertisment

ସୂଚନାଯୋଗ୍ୟ, ଗତ ୨୯ ତାରିଖରେ ୫ଟି ସଚିବ ଭିକେ ପାଣ୍ଡିଆନ୍‌ଙ୍କ ଜଗତସିଂହପୁର ଗସ୍ତ କାର୍ଯ୍ୟକ୍ରମକୁ ପାରାଦୀପ ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ବିରୋଧ କରାଯାଇଥିଲା। ବିଜେପି ନେତା ସମ୍ପଦ ସ୍ୱାଇଁଙ୍କ ନେତୃତ୍ବରେ ବିଜେପି ମହିଳା ମୋର୍ଚ୍ଚା ଓ ଯୁବମୋର୍ଚ୍ଚା ପକ୍ଷରୁ ରାହାମା, କୁଜଙ୍ଗ ଏବଂ ପାରାଦୀପର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୁଜଙ୍ଗରେ ମହିଳା ମୋର୍ଚ୍ଚା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶତାଧିକ ମହିଳା ସରକାରଙ୍କ ମହିଳା ବିରୋଧୀ ମନୋଭାବ ବିରୋଧରେ କଳା ଶାଢ଼ି ପିନ୍ଧି ପ୍ରତିବାଦ କରିଥିଲେ। ୫-ଟି ସଚିବ ହେଲିକପ୍ଟର୍‌ରେ ପାରାଦୀପ ଆସିଥିବାରୁ ଆକାଶରେ କଳା ବେଲୁନ୍‌ ଉଡ଼ାଇ ବିରୋଧ କରିଥିଲେ। କର୍ମୀମାନେ ‘ପାଣ୍ଡିଆନ୍ ଗୋ ବ୍ୟାକ୍’ ସ୍ଲୋଗାନ୍ ମଧ୍ୟ ଦେଉଥିବାର ଦେଖିବାକୁ ମିଳିଥିଲା।

ଓଡ଼ିଶାରେ ବିଭିନ୍ନ ଅଞ୍ଚଳରେ ୫ଟି ସଚିବ ଗସ୍ତ କରିଥିବା ବେଳେ ଯେଉଁଭଳି ଭାବରେ ୫ଟି ସଚିବ ଓଡ଼ିଶାରେ ତାମିଲ ଶାସନ ଚଳାଉଛନ୍ତି, ତାହାର ଦୃଢ଼ ପ୍ରତିବାଦ କରିବା ପାଇଁ ବିଜେପି ଚେତାବନୀ ଦେଇଛି।