୪୮ ଘଣ୍ଟାରେ ଲଘୁଚାପ, ୧୪ ଯାଏ ବର୍ଷା

Advertisment
୪୮ ଘଣ୍ଟାରେ ଲଘୁଚାପ, ୧୪ ଯାଏ ବର୍ଷା

ଭୁବନେଶ୍ବର : ଉତ୍ତରପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା‌ ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଯାହାକି ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳ ଉପରେ ରହି ପରବର୍ତୀ ସମୟରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ସୋମବାରଠାରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଏହି ସମୟରେ କେରଳର ଅଧିକାଂଶ ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୨ ଓ ୧୩ ତାରିଖରେ ଅଧିକ ବର୍ଷା ହେବ। ୧୨ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବରଗଡ଼ ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୩ରୁ ୧୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ‌ତେଣୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ୧୨ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

publive-image News Nation

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ତାହା ପଶ୍ଚିମ ଦିଗରେ ଗତି କରି ୧୩ ତାରିଖରେ ଝାଡ଼ଖଣ୍ଡ, ଦକ୍ଷିଣ ଉତ୍ତର ପ୍ରଦେଶ ଉପରେ ରହିବ। ପରେ ଉତ୍ତରପ୍ରଦେଶରୁ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ରହିବ। ଏହାଦ୍ବାରା ରାଜ୍ୟରେ ୧୨ ତାରିଖ ସକାଳଠାରୁ ଉପକୂଳବର୍ତୀ ଅଞ୍ଚଳରେ ବର୍ଷା ହେବ। ଯାହାକି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଲାଗିରହିବ। ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଅବିଭକ୍ତ କୋରାପୁଟ ସମେତ ଦକ୍ଷିଣ ପଶ୍ଚିମ ଓଡ଼ିଶାରେ ବହୁତ କମ୍‌ ବର୍ଷା ହେବ। ଏହାପରେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହୁଛି। ଏହାଦ୍ବାରା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଏହି ତିନି ଦିନରେ ଉପକୂଳବର୍ତୀ ଅଞ୍ଚଳରେ ଭଲ ବର୍ଷା ହେବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ କମ୍‌ ବର୍ଷା ହେବ। ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ ୮୦ ମିମି ବର୍ଷା ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ୬୦ରୁ ୭୦ ମିମି ବର୍ଷା ହେବ। ମୋଟାମୋଟି ଭାବେ ୨୦ ତାରିଖ ମଧ୍ୟରେ ରାଜ୍ୟର ହାରାହାରି ୧୨୦ରୁ ୧୩୦ ମିମି ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe