ସାରା ରାଜ୍ୟରେ ଲଘୁଚାପ ବର୍ଷା, ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପଜନିତ ବର୍ଷା ଲାଗି ରହିବ ଏବଂ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଅନ୍ୟପଟେ ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ସକ୍ରିୟ ହେଉଥିବାରୁ ଚଳିତ ସପ୍ତାହରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଦକ୍ଷିଣ ଓଡ଼ିଶା ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ଦକ୍ଷିଣପଶ୍ଚିମ ଆଡ଼କୁ ଢଳି ରହିଥିବା ବେଳେ ଆସନ୍ତା ୨ରୁ ୩ ଦିନ ଭିତରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିଭଳି ଆଜି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର