Skymet Weather
ଭୁବନେଶ୍ବର : ରାଜ୍ୟରେ ରବିବାର ଦିନତମାମ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହି ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ଦିନ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ୨୭.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହାକି ସ୍ବାଭାବିକ ବର୍ଷା ୯ ମିମି ତୁଳନାରେ ୨୦୫% ଅଧିକ। ସେହିଭଳି ସକ୍ରିୟ ଲଘୁଚାପ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ବର୍ଷା ଅନୁଗୁଳଠାରେ ୧୫୨ ମିମି, ବୌଦ୍ଧଠାରେ ୬୨ ମିମି ଓ ଢେଙ୍କାନାଳରେ ୫୭ ମିମି, ହୀରାକୁଦରେ ୪୩.୨ ମିମି ଓ ପୁରୀରେ ୪୦.୨ ମିମି ରେକର୍ଡ ହୋଇଛି। ଆସନ୍ତାକାଲି ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Skymet Weatherପାଣିପାଗ କେନ୍ଦ୍ରର ସୂଚନା ମୁତାବକ ବିଶେଷ କରି ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏହିସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ୨୭ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନ ଯଥା ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଭଳି ଆସନ୍ତାକାଲି ମଧ୍ୟ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ସେହିଭଳି ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।
Follow Us