ତିନିଦିନ ଯାଏ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋ‌ପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଉପରେ ରହିଥିବା ବେଳେ ଧୀରେଧୀରେ ଦକ୍ଷିଣ-ପଶ୍ଚିମ ଆଡ଼କୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ରାୟଗଡ଼ାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ଗଜପତି, ବୌଦ୍ଧ ଓ ପୁରୀ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବ। ୫ ତାରିଖ ଅପରାହ୍ନରୁ ୬ ତାରିଖ ଦିନ ସକାଳ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଫଳରେ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିଦିନ କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ। ଏହି ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୬ ତାରିଖରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। କିଛି କିଛି ସ୍ଥାନରେ ବର୍ଷା ମଧ୍ୟ ହେବ।

ସମ୍ବନ୍ଧିତ ଖବର