ରାଜ୍ୟରେ ଆସନ୍ତା ୪ ଦିନ ବର୍ଷା

ଭୁବନେଶ୍ବର : ରାଜ୍ୟର କିଛି କିଛି ସ୍ଥାନରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ-ପଶ୍ଚିମକୁ ଗତି କରୁଛି। ଏହାର ପ୍ରଭାବରେ ଦକ୍ଷିଣ ଉପକୂଳବର୍ତ୍ତୀ କିଛି ଅଞ୍ଚଳ ତଥା ରାଜ୍ୟର ‌କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯା‌ୟୀ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।

କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ଅର୍ଥାତ ୩ ତାରିଖ ଦିନ କୋରାପୁଟ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବ। ସେହିପରି ୪ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ୫ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସମ୍ବଲପୁରରେ ଏବଂ ୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବା ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସମ୍ବନ୍ଧିତ ଖବର