୧୭ ଓ ୧୮ରେ ରାଜ୍ୟରେ ବର୍ଷା

ଭୁବନେଶ୍ବର : ଆଉ ଦିନକ ପରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ରହିବ। ଏହାପରେ ଅର୍ଥାତ ୧୭ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ୧୮ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲା‌ରେ ବି ବର୍ଷା ହେବ। ଏଣୁ ୧୭ ଓ ୧୮ ତାରିଖ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୧ ଡିଗ୍ରି ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି। ଅବଶିଷ୍ଟ ସ୍ଥାନଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିଛି। ସର୍ବାଧିକ ତାପମାତ୍ରା ବି ପାଖାପାଖି ସ୍ବାଭାବିକ ରହିଛି। କିନ୍ତୁ କିଛି କିଛି ସ୍ଥାନରେ ସର୍ବଧିକ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ କରିଛି। ଭୁବନେଶ୍ବର ସହରରେ ମଧ୍ୟ ଦିନ ତାପମାତ୍ରା ସ୍ବାଭାବିକଠାରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି। ଏଠାରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ର‌ା ୧୭.୫ ଡିଗ୍ରି ରହିଥିଲା।

ସମ୍ବନ୍ଧିତ ଖବର