ଭୁବନେଶ୍ବର: ଝାଡ଼ଖଣ୍ତ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୬ ତାରିଖ ପୂର୍ବାହ୍ନଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାରେ ପ୍ରବଳ ବର୍ଷା ହୋଇପାରେ। ବାକି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ରହିବ। ୭ ତାରିଖରେ କଟକ, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଉତ୍ତର ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୮ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପ୍ରଭାବ ରହିବ। ୫ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଜିଲ୍ଲା ପ୍ରଶାସନକୁ ସଜାଗ ରଖିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।