ସଡ଼କ ସୁରକ୍ଷା ପାଇଁ ‘ରକ୍ଷକ’, ରାଜ୍ୟସ୍ତରରେ ଅଭିନବ ତାଲିମ କାର୍ଯ୍ୟକ୍ରମ

ବିପଦରେ ଥିବା ଲୋକଙ୍କ ଜୀବନ ବଞ୍ଚାଇବା ଠାରୁ ବଡ଼ ପୁଣ୍ୟ କିଛି ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସଡ଼କ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଆରମ୍ଭ ହୋଇଛି। ଏଥିରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (ଫାର୍ଷ୍ଟ ରେସ୍ପଣ୍ଡର୍‌) ତାଲିମ ‌ନେବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ ଏହି ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାଦ୍ବାରା ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ। ଫଳରେ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସଡ଼କ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି। ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର। ଏ କ୍ଷେତ୍ରରେ ଡ୍ରାଇଭରମାନଙ୍କର ଯେତିକି ଦାୟିତ୍ବ, ସଡ଼କ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ। ସେମାନେ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ।

ମୁଖ୍ୟମନ୍ତ୍ରୀ କହିଲେ, ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା। ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ଼ ପୁଣ୍ୟ କିଛି ନାହିଁ। ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ଲୋକମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି। ଏହା ସହିତ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି।

ସ୍ବେଚ୍ଛାସେବୀ ସଂସ୍ଥାମାନେ ସଡ଼କ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାହାର ଉଚ୍ଚପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ। ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି ସେ କହିଥିଲେ। ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡ଼କ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥାକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ ଉଦ୍‌ଘାଟନ କରିଥିଲେ। ତାଲିମରେ ଯୋଗ ଦେଇଥିବା ପ୍ରଥମ ଜୀବନ ରକ୍ଷକାରୀମାନଙ୍କୁ କିଟ୍ ଓ ଟି-ସାର୍ଟ ବଣ୍ଟନ କରିଥିଲେ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସଡ଼କ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ବିଭାଗୀୟ ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ ପରିବହନ କମିସନର ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ।

ସମ୍ବନ୍ଧିତ ଖବର