ବ୍ରହ୍ମପୁର ହେବ ଆଦର୍ଶ ସହର: ନବୀନ

ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁରର କେନ୍ଦ୍ରସ୍ଥଳୀରେ ଥିବା ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଲୋକାର୍ପିତ କରିଛନ୍ତି। ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ର ଓ ଲେଜର ଲାଇଟ୍‌ ଏବଂ ଏକ ସଂଗୀତମୟ ପରିବେଶ ମଧ୍ୟରେ ଏହାର ଉଦ୍‌ଘାଟନ କରାଯାଇଥିଲା। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ ରୂପାନ୍ତରର ଅନନ୍ୟ ଉଦାହରଣ।

Zee News – India.com

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ଏଥିସହିତ ଏହି ଜଳାଶୟକୁ ପରିଷ୍କାର ରଖିବା ଏବଂ ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ନିବେଦନ କରିଥିଲେ। ସେ କହିଥିଲେ ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି; ଏହା ହେଉଛି ପରିବର୍ତ୍ତନ। ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଞ୍ଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି। ଗଞ୍ଜାମର ଜନତାଙ୍କ ସଂଯମ ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି ବୋଲି ନବୀନ ଏହି ଅବସରରେ ସ୍ମରଣ କରାଇଥିଲେ। ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଙ୍ଗ୍‌ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ, ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ବତନ୍ତ୍ର ଗୁରୁତ୍ବ ରଖିଛି। ବ୍ରହ୍ମପୁର ତଥା ଗଞ୍ଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ଣ ନଜର ରଖିଛି। ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

BW Businessworld

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ। ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କୃତଜ୍ଞତା ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର କମିସନର ଧନ୍ୟବାଦ ଅର୍ପଣ କରିଥିଲେ।

ଉଲ୍ଲେଖଥାଉକି, ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଙ୍କରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତି ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାର ଆକର୍ଷଣ ବଢ଼ାଇଛି।

ସମ୍ବନ୍ଧିତ ଖବର