ପର୍ବପର୍ବାଣି ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ତୃତୀୟ ଲହରକୁ ନିୟନ୍ତ୍ରଣ କରିବାରେ ନିର୍ଣ୍ଣାୟକ ହେବ: ମୁଖ୍ୟମନ୍ତ୍ରୀ

ଶିକ୍ଷାନୁଷ୍ଠାନ ଗୁଡିକରେ ଅଚାନକ ପରିଦର୍ଶନ ଉପରେ ଗୁରୁତ୍ବ, ଅବହେଳା ହେଲେ ପୁଣି ଫେରିବ ଲକ୍‌ଡାଉନ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

କୋଭିଡ ଆଚରଣବିଧି ହେଉଛି, କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୁଲିସ ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍‌ଡାଉନ୍‌ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ । ପୁଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୁଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିସନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିସନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର