ଭୁବନେଶ୍ବର : ମିସନ ଶକ୍ତିର ମା’ମାନଙ୍କ ପାଇଁ ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଏକା ଦିନରେ କେବଳ ମା’ମାନଙ୍କ ପାଇଁ ଏତେ ବଡ଼ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ୫ଟି ମିସନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏ ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ଦିଆଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ ମାନଙ୍କୁ ସଶକ୍ତ କରିବାରେ ଓଡ଼ିଶା ଏକ ଆଗୁଆ ରାଜ୍ୟ। ଓଡ଼ିଶାର ଘରେ ଘରେ, ଗାଁ ଗାଁରେ ଆଜି ମିସନ ଶକ୍ତି ନିଜର ଜୟଯାତ୍ରା ଜାରି ରଖିଛି। ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ। ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କପାଇଁ ୧କୋଟି ଏବଂ ବ୍ଲକ୍ସ୍ତରୀୟ ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ଏହା ସହିତ ମା’ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଲେ ଯେ ରାଜ୍ୟରେ ମିସନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିସନ ଶକ୍ତି ଏକ ମହାଦ୍ରୁମରେ ପରିଣତ ହୋଇପାରିଛି। ମିସନ ଶକ୍ତିର ମା’ମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି।
ମିସନ ଶକ୍ତି ବିଭାଗର ସଚିବ ସୁଜାତା କାର୍ତ୍ତିକେୟନ କହିଲେ, ମିସନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା’ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟାଦା ଜାହିର କରିବେ। ମିସନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ। ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମା’ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ। ୧୨୦୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ।