୧୭୦୦ କୋଟିର କୋଭିଡ୍‌ ପ୍ୟାକେଜ୍

ଭୂମିହୀନ ଚାଷୀ ପରିବାର ପିଛା ୧,୦୦୦ ଟଙ୍କା
ନରେଗାରେ ମଜୁରି ବାଦ୍ ଅତିରିକ୍ତ ୫୦ ଟଙ୍କା
ଖାଦ୍ୟ ସୁରକ୍ଷା ଯୋଜନାରେ ୫ କେଜି ଚାଉଳ
ଜନଜାତି ପରିବାରକୁ ୫,୦୦୦ ଟଙ୍କା
ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା
ସହରୀ ଗରିବଙ୍କ ପାଇଁ ୨୬୦ କୋଟି

ଭୁବନେଶ୍ବର : ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତା ବାବଦକୁ ମୋଟ୍ ୧୬୯୦ କୋଟି ୪୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏହା ଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌ଆରଇଜିଏ ଶ୍ରମିକ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଉପକୃତ ହେବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ୍‌ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା। କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି।

ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ଥିବା ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧,୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ। ୩ଟି କିସ୍ତିରେ ଏ ବାବଦକୁ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି କୋଭିଡ୍ ଲକ୍‌ଡାଉନ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ‘ମୁକ୍ତା’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥାରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ। ଏନ୍‌ଆର୍‌ଇଜିଏସ୍ ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ। ଚଳିତ ବର୍ଷ ଏପ୍ରିଲରୁ ଜୁନ୍ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ। ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ ଏନ୍‌ଆର୍‌ଇଜିଏସ୍ ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ। ଏଥି ପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଓଡ଼ିଶାରେ ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି। ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫,୦୦୦ ଟଙ୍କା ଲେଖାଏ ଦିଆଯିବ। ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ। ତଫସିଲଭୁକ୍ତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କର ଏପ୍ରିଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରାକ୍‌-ମାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ। ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଓ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ। ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସ୍ବତନ୍ତ୍ର ବିଦ୍ୟାଳୟଗୁଡ଼ିକରେ ପଢ଼ୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଏପ୍ରିଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ। ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କର ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହା ଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ। ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଏପ୍ରିଲ୍‌ରୁ ଜୁନ୍ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ। ଏଥି ପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ।

ସମ୍ବନ୍ଧିତ ଖବର