ସ୍କୁଲ ଫି’ ଛାଡ଼ ମାମଲା : ସ୍ପଷ୍ଟୀକରଣ ଲୋଡ଼ିଲେ ହାଇକୋର୍ଟ

କଟକ : ସ୍କୁଲ ଫି’ ଛାଡ଼ ପ୍ରସଂଗରେ ରାଜ୍ୟ ସରକାରଙ୍କ ନିକଟରୁ ହାଇକୋର୍ଟ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି। ଅନ୍ୟ କେତେକ ରାଜ୍ୟରେ ସ୍କୁଲ ଫି’ କେତେକ ଅଂଶରେ ଛାଡ଼ କରାଯାଇଥିବା ବେଳେ ରାଜ୍ୟ ସରକାରଙ୍କର ଏହି ପ୍ରସଂଗରେ କ’ଣ ଆଭିମୁଖ୍ୟ ରହିଛି, ସେ ନେଇ ପରବର୍ତ୍ତୀ ଶୁଣାଣି ସମୟରେ ଅବଗତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେତେ ପ୍ରତିଶତ ସ୍କୁଲ ଫି’ ଛାଡ଼ କରି ହେବ ସେ ନେଇ ରାଜ୍ୟ ସରକାର ପରବର୍ତ୍ତୀ ଶୁଣାଣି ସମୟରେ ସ୍ପଷ୍ଟ କରିବେ। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଜଷ୍ଟିସ ବିଶ୍ବନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଆଜି ମାମଲାର ଶୁଣାଣି ସମୟରେ ପଞ୍ଜାବ, ହରିୟାନା ଓ ରାଜସ୍ଥାନରେ ସ୍କୁଲ ଫି’ ଛାଡ଼ କରାଯାଇଥିବା ଘଟଣା ସଂକ୍ରାନ୍ତରେ ଖଣ୍ଡପୀଠଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। କରୋନା ଭୂତାଣୁ ସଂକ୍ରମଣଜନିତ ସ୍ଥିତିରେ ଅନ୍ୟ ରାଜ୍ୟରେ ସ୍କୁଲ ଫି’ ଛାଡ଼ ପାଇଁ ପଦକ୍ଷେପ ନିଆଯାଇଥିବା ବେଳେ ଓଡ଼ିଶାରେ ମଧ୍ୟ ସ୍କୁଲ ଫି’ ଛାଡ଼ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା। ଅନ୍ୟ ରାଜ୍ୟ ଭଳି ଏଠାରେ ସ୍କୁଲ ଫି ’ଛାଡ଼ କରାଯିବା ପ୍ରସଂଗରେ ସରକାରଙ୍କ କ’ଣ ଆଭିମୁଖ୍ୟ ରହିଛି, ସେ ନେଇ ଖଣ୍ଡପୀଠ ଜାଣିବାକୁ ଚାହିଁଥିଲେ। ଏଥିପାଇଁ ସରକାରଙ୍କ ପକ୍ଷରୁ ଅଧିକ ସମୟ ଲୋଡ଼ା ଯାଇଥିଲା।

ଉଲ୍ଲେଖ ଯୋଗ୍ୟ ଯେ ଗତ ଅକ୍ଟୋବର ୧୦ରେ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ପି.କେ.ମିଶ୍ର ସତ୍ୟପାଠ ଦାଖଲ କରି ଦର୍ଶାଇଥିଲେ ଯେ ପୂର୍ବରୁ ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଆଯାଇଥିବା ପ୍ରସ୍ତାବ ଓ ଏ ସଂପର୍କିତ ଏମ୍‌ଓୟୁକୁ ଗ୍ରହଣ କରି ଅଦାଲତ ଉପଯୁକ୍ତ ନି‌ର୍ଦ୍ଦେଶ ପ୍ରଦାନ କରନ୍ତୁ। ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅଭିଭାବକ ମହାସଂଘର ପ୍ରତିନିଧି, ହାଇକୋର୍ଟରେ ମାମଲା ଦାୟର କରିଥିବା ଆବେଦନକାରୀଙ୍କ ପ୍ରତିନିଧି, ଓଡ଼ିଶା ଘରୋଇ ସ୍କୁଲ ଶିକ୍ଷକ ସଂଘର ପ୍ରତିନିଧି ଓ କନଫେଡେରେସନ୍ ଅଫ୍ ପବ୍ଲିକ୍ ସ୍କୁଲର ପ୍ରତିନିଧି ଯୋଗ ଦେଇ କେତେକ ପ୍ରସ୍ତାବ ଗ୍ରହଣ କରିବା ସହିତ ଏ ସଂପର୍କିତ ଏମଓୟୁରେ ୧୪ ଜଣ ସ୍ବାକ୍ଷର କରିଥିଲେ। ବୈଠକରେ ଗ୍ରହଣ କରାଯାଇଥିବା ପ୍ରସ୍ତାବ ଅନୁସାରେ ସ୍କୁଲ ଫି କିଛି ଅଂଶରେ ଛାଡ଼ କରାଯିବା ପାଇଁ ସୁପାରିସ କରାଯାଇଥିଲା।

ସ୍କୁଲ ଫି ଛାଡ ପ୍ରସଂଗକୁ ନେଇ ହାଇକୋର୍ଟରେ ତିନୋଟି ମାମଲା ରୁଜୁ ହୋଇଥିବାବେଳେ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଘରୋଇ ସ୍କୁଲ ସଂଘ କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌, ସ୍କୁଲ ଶିକ୍ଷକ ସଂଘ ପିଟିସନ୍, ଅନ୍ୟ କେତେକ ଘରୋଇ ସ୍କୁଲ ପିଟିସନ୍ ଦାଖଲ କରିଥିଲେ। ଆଇନଜୀବୀ ମହମ୍ମଦ ମୁସ୍ତାକ ଅନସାରୀ, ଭୁବନେଶ୍ବରର ପ୍ରହଲ୍ଲାଦ ରାଉତ ଓ ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ହାଇକୋର୍ଟରେ ପୃଥକ୍‌ ମାମଲା ଦାୟର କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଭି.ନରସିଂହ, ବିଭୂତି ଭୂଷଣ ଚୌଧୁରୀ, ଆଇନଜୀବୀ ରଂଜନ କୁମାର ରାଉତ, କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌ ତରଫରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ଓ ଅନ୍ୟ ପ୍ରତିପକ୍ଷଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି ଓ ସମୀର କୁମାର ଦାସ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର