ସୁବର୍ଣ୍ଣପୁରର ଦେଢ଼ ଲକ୍ଷ ଓ ବୌଦ୍ଧର ୩.୭୨ ଲକ୍ଷ ଲୋକ ପାଇବେ
ସୁବର୍ଣ୍ଣପୁରରେ ୩୦୦ କୋଟି ଓ ବୌଦ୍ଧରେ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ସୋନପୁର/ ବୌଦ୍ଧ : ଗରିବ ଲୋକଙ୍କୁ ସଶକ୍ତ କରିଛି ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ। ଆଜି ସୁବର୍ଣ୍ଣପୁର ଓ ବୌଦ୍ଧ ପାଇଁ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାର ଏକ ଲକ୍ଷ ୫୦ ହଜାର ଓ ବୌଦ୍ଧର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ପାଇବେ। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ। ଏହି ଜିଲ୍ଲାର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡ଼ିଶାର ଗୌରବକୁ ଦେଶବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ ସୋନପୁରରେ ଏମ୍ଏସ୍ଏମ୍ଇ ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି। ତା’ ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସେହିପରି ଅପରାହ୍ଣରେ ବୌଦ୍ଧ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶକୁ ବହୁତ ପ୍ରଶଂସା କରିଥିଲେ। ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଲେ, ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରି କରାଯିବ। ଯାହାଫଳରେ ଇକୋ-ଟୁରିଜିମ୍ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନସ୍ଥଳୀର ବିକାଶ କରାଯିବ । ଦୁଗ୍ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର ସଫଳତାକୁ ପ୍ରଶଂସା କରିଥିଲେ।
କାର୍ଯ୍ୟକ୍ରମରେ ସୋନପୁରରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବାଣିଜ୍ୟ, ପରିବହନ ଏବଂ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଏବଂ ବୌଦ୍ଧରେ ମନ୍ତ୍ରୀ ଶ୍ରୀ ପୂଜାରୀ ଓ ଶ୍ରୀ ବେହେରାଙ୍କ ସହ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ପ୍ରଦୀପ ଅମାତ ଓ ବିଧାୟକ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
Follow Us