ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ: ଦୋହରାଇଲେ ନବୀନ, ପ୍ରତ୍ୟେକ ଜୀବନ ମୂଲ୍ୟବାନ

ସବୁ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦେଶ
ଲୋକପ୍ରତିନିଧିଙ୍କ ମତକୁ ଗୁରୁତର ସହ ନେଇ ଯୋଜନା କରାଯାଉ: ନରସିଂହ

ଭୁବନେଶ୍ବର : ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରିଛୁ। ଏ କ୍ଷେତ୍ରରେ ଆମେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ନୀତିକୁ ଗ୍ରହଣ କରି ସବୁ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏଥିରେ ଅଧ୍ୟକ୍ଷତା କରି ଶ୍ରୀ ପଟ୍ଟନାୟକ କହିଲେ ଯେ ପ୍ରତ୍ୟେକ ବର୍ଷର ଜୁନ୍‌ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି। ଏଥି ପାଇଁ ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥାକୁ ପ୍ରସ୍ତୁତ କରି ରଖିବା ଜରୁରୀ। ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା ଶିବିର ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତାହା ଉପରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି।

ବୈଠକରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକରେ ଉଠାଯାଉଥିବା ପ୍ରସଙ୍ଗଗୁଡ଼ିକୁ କାର୍ଯ୍ୟକାରୀ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ସେ କହିଥିଲେ ଯେ ବର୍ଷକୁ ମାତ୍ର ଥରେ ଏହି ବୈଠକ ବସୁଛି। କିନ୍ତୁ ଏଠି ବିଭିନ୍ନ ସୁବିଧା, ଅସୁବିଧା ସରକାରଙ୍କୁ ଜଣାଇଲେ କୌଣସି ଉତ୍ତର ମିଳୁ ନାହିଁ। ଲୋକ ପ୍ରତିନିଧିମାନେ ଦେଉଥିବା ମତକୁ ଗୁରୁତର ସହ ନେଇ ଯୋଜନା ପ୍ରସ୍ତୁତ କରାଯାଉ। ସେହିପରି ପାଣିପାଗରେ ଅନିଶ୍ଚିତତା ଲାଗି ରହୁଥିବାରୁ ପରିବେଶ ଅସୁରକ୍ଷିତ ହୋଇପଡ଼ିଛି। ତେଣୁ ବୈଜ୍ଞାନିକ ଓ ବିଶେଷଜ୍ଞମାନଙ୍କୁ ନେଇ ସରକାର କମିଟି ଗଠନ କରନ୍ତୁ। ଆଗାମୀ ଦିନରେ ଲୋକ କିପରି ସୁରକ୍ଷିତ ରହିବେ, ବିପର୍ଯ୍ୟୟକୁ କିପରି ପ୍ରତିରୋଧ କରାଯାଇପାରିବ ସେସବୁକୁ ଆକଳନ କରି ଏହି କମିଟି ରିପୋର୍ଟ ଦେବାକୁ ଶ୍ରୀ ମିଶ୍ର ପ୍ରସ୍ତାବ ଦେଇଥିଲେ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପ, ତେଲ୍ ନଦୀରେ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ବିଳମ୍ବ ହେଉଥିବାରୁ ସେ କ୍ଷୋଭ ପ୍ରକାଶ କରିଥିଲେ।

ବୈଠକରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ଜୟନ୍ତ ଷଡଙ୍ଗୀ ଓ ରାଜେନ୍ଦ୍ର ସାହୁ ପ୍ରମୁଖ ବକ୍ତବ୍ୟ ରଖି ନିଜ ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ମତାମତ ଦେଇଥିଲେ। ଉନ୍ନୟନ କମିସନର ପି କେ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲ୍ଲାର ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର