୧୬ ତାରିଖ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ରହିଛି ବର୍ଷା ଓ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସଂପ୍ରତି ତେଲେଙ୍ଗାନା ଉପରେ ଥାଇ ଦୁର୍ବଳ ହୋଇପଡ଼ିବା ସହ ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ସଂପୂର୍ଣ୍ଣ ଦୁର୍ବଳ ହୋଇ ପଡ଼ିବାର ସମ୍ଭାବନା ରହିଛି।

ତେବେ, ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଅତ୍ୟନ୍ତ ସକ୍ରିୟ ହୋଇ ଉଠିଛି। ଫଳରେ ଆସନ୍ତା ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରଖ ମଧ୍ୟାହ୍ନ ସୁଦ୍ଧା ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୧୬ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଥିବା ବେଳେ ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ବଲାଙ୍ଗୀର, ନୂଆପଡା, ବୌଦ୍ଧ, କାଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର