ତାଳଚେର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

Advertisment

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି। ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ। ସ୍ୱାସ୍ଥ୍ୟସେବା ସବୁବେଳେ ରାଜ୍ୟ ସରକାରଙ୍କ ଫୋକସ୍ ହୋଇ ରହିଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢ଼ିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ, ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ। ‘ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ସଫଳ ହେବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

୫ ବର୍ଷର ହସ୍ପିଟାଲ ପରିଚାଳନା ବ୍ୟୟ ୬୨୮ କୋଟି ଟଙ୍କା ଦେବ ଏମ୍‌ସିଏଲ୍

କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀ ଏହି ହସ୍ପିଟାଲ ତାଳଚେର ଓ ଅନୁଗୁଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ ବୋଲି କହିଥିଲେ। ଏଥିପାଇଁ କୋଲ୍‌ ଇଣ୍ଡିଆର ବହୁ ଅବଦାନ ରହିଛି ଓ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ୍‌ ଇଣ୍ଡିଆ ସମସ୍ତ ସହଯୋଗ ଯୋଗାଇ ଦେବ। ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍‌ସିଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ ଆଜିର ଦିନ ସମସ୍ତଙ୍କ ପାଇଁ ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍‌ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ, ଢେଙ୍କାନାଳ ସାଂସଦ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ କୋଲ୍‌ ଇଣ୍ଡିଆ ଅଧ୍ୟକ୍ଷ ପି.ଏମ. ପ୍ରସାଦ ପ୍ରମୁଖ ଏଥିରେ ଯୋଗ ଦେଇଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ୍‌ ଫିଲ୍ଡର ସିଏମ୍‌ଡି କେଶବ ରାଓ ଧନ୍ୟବାଦ ଅର୍ପଣ କରିଥିଲେ। ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।