ପୁରୀ: ଚଳିତ ବର୍ଷ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଜୁନ ୨୨ ଓ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ରଥଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ୍ହାଉସ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବିଗତ ବର୍ଷମାନଙ୍କ ଅପେକ୍ଷା ଚଳିତ ବର୍ଷ ଅଧିକ ସଂଖ୍ୟକ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସେହି ଅନୁଯାୟୀ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରଥକାଠ ସଂଗ୍ରହ, ରଥଖଳା ନିର୍ମାଣ, ରଥ ନିର୍ମାଣଠାରୁ ଆରମ୍ଭ କରି ରାସ୍ତାଘାଟ, ଡ୍ରେନେଜ୍ ଆଦିର ମରାମତି, ପରିବହନ, ପାନୀୟ ଜଳ ଆଦିର ସୁବନ୍ଦୋବସ୍ତ କରିବାକୁ କୁହାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଆଇନଶୃ୍ଙ୍ଖଳା ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯାଇଛି।
ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରା ପ୍ରସ୍ତୁତିର ରୂପରେଖ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସମେତ ପୁଲିସ ଓ ଜିଲ୍ଲା ପ୍ରଶାସନର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ବିଭାଗର ସମନ୍ବୟଭିତ୍ତିରେ ମହାପ୍ରଭୁଙ୍କ ରଥଯାତ୍ରାକୁ ସୁନ୍ଦର ଓ ଶୃଙ୍ଖଳିତ ପରିଚାଳନା ପାଇଁ ଗୁରୁତ୍ବ ଦିଆଯାଇଥିଲା। ଯେଉଁ ବିଭାଗକୁ ଯେଉଁ ଦାୟିତ୍ୱ ଓ କାର୍ଯ୍ୟ ଦିଆଯାଉଛି, ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ନିର୍ବାଚନ ସହ ରଥଯାତ୍ରାର ପ୍ରସ୍ତୁତି କରିବାର ଥିବାରୁ ପ୍ରତ୍ୟେକ ବିଭାଗ ତତ୍ପରତାର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡ଼ା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳରେ ଶୃଙ୍ଖଳା, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ସମ୍ପୃକ୍ତ ବିଭାଗମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ରଥଯାତ୍ରା ପ୍ରଥମ ପ୍ରସ୍ତୁତି ବୈଠକ
କାମକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କର: ଜିଲ୍ଲାପାଳ
ଅସୁରକ୍ଷିତ ବିଲ୍ଡିଂ ଚିହ୍ନଟ ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା ନେଇ ଯୁଗ୍ମ ତଦନ୍ତ ପାଇଁ ପରାମର୍ଶ
ଏସ୍ପି ପିନାକ ମିଶ୍ର ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ କାର୍ଯ୍ୟର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅସୁରକ୍ଷିତ ବିଲ୍ଡିଂ ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଆଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ସେ ପରାମର୍ଶ ଦେଇଥିଲେ। ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ରଥକାଠର ଆବଶ୍ୟକତା, ଉପଲବ୍ଧ କାଠର ବିବରଣୀ, ଅନ୍ୟାନ୍ୟ ସାମଗ୍ରୀ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ରଥଯାତ୍ରାର ସଫଳ ଆୟୋଜନ ପାଇଁ ବିବିଧ ପରାମର୍ଶ ଦେବା ସହ ପରିକ୍ରମା ପ୍ରକଳ୍ପ ପରେ ଏହା ପ୍ରଥମ ରଥଯାତ୍ରା ହୋଇଥିବାରୁ ବ୍ୟାପକ ଜନଗହଳିର ଆଶା ରହିଛି। ସେଥିପାଇଁ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଅନନ୍ତ ତିଆଡ଼ି, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବ ଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ(ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/03/fhkhkfhkfhkhkhk.jpg)