ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଉତ୍ତର- ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

Advertisment

publive-image

ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ ବଢ଼ିବ। ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ରାଜ୍ୟରେ ବହୁ ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତାକାଲି (ଶନିବାର) ଠାରୁ ରାଜ୍ୟରେ ପାଗ ବଦଳି ମେଘୁଆ ପାଗ ସହ ବର୍ଷାର ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ଶୁକ୍ରବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

୩୦ ସେପ୍ଟେମ୍ବର, ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି

ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍‌ ୩୦ ସେପ୍ଟେମ୍ବର, ଶନିବାର) ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଓ ନିରାପଦ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

publive-image

ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ପ୍ରଭୃତି ୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଣରଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ଟୁଇନ୍‌ ସିଟି ଅଞ୍ଚଳରେ ପାଣିପାଗ ବଦଳି ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।