ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି (ଶନିବାର) ସୃଷ୍ଟି ହୋଇଥିବା ସଦୃଶ୍ୟ ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ବାକି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।
ଏପରିସ୍ଥିତିରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ଏବଂ ରାଜ୍ୟରେ ବହୁ ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି ବୋଲି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ରବିବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2023/10/A1-scaled.jpg)
ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍ ୨ ଅକ୍ଟୋବର, ସୋମବାର) ଅପରାହ୍ନ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ବରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବଲାଙ୍ଗୀର, ବୌଦ୍ଧ-କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଓ ନିରାପଦ ଆଶ୍ରୟ ନେବାକୁ ପରାମର୍ଶ ଦିଆଯିବା ସହ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/07/Rain-15.jpg)