ପୁଣି ୪ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ପୁଣି ୪ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଏହି ୪ ଜଣ ଅଧିକାରୀଙ୍କ ମଧ୍ୟରେ ଦୁଇ ଜଣ ଓଡ଼ିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି। ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି।
ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଢେଙ୍କାନାଳର ଜିଲ୍ଲା ସବ୍ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି। ଏଥିସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍ସ ମଧ୍ୟ ରହିଛି। ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଠିକ୍ ସେହିପରି ନୂଆପଡ଼ାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୂତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା। ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ବୋଲି ଜଣାଯାଇଛି।

 

ସମ୍ବନ୍ଧିତ ଖବର