ଖୁବ ଶୀଘ୍ର କୋଭାକ୍ସିନ୍ ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର : କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକ୍ସିନ୍ କୋଭାକ୍ସିନ୍ ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍‌ ହସ୍ପିଟାଲରେ ଆରମ୍ଭ ହେବ। ଏହି ସ୍ୱଦେଶୀ ଟିକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ମିଳିତ ଭାବେ ପ୍ରସ୍ତୁତ କରୁଥିବା ବେଳେ ଏହାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ନିମନ୍ତେ ସେଣ୍ଟ୍ରାଲ ଡ୍ରଗସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ ପକ୍ଷରୁ ସ୍ୱୀକୃତି ମିଳିଛି। ଏହା ପୂର୍ବରୁ ଦୁଇଟି ପର୍ଯ୍ୟାୟ ମାନବ ପରୀକ୍ଷଣ ପ୍ରକ୍ରିୟା ସୁରକ୍ଷିତ ଭାବେ ଶେଷ ହୋଇ ସାରିଛି। ଏହି ପ୍ରକ୍ରିୟା ରେ ଅନେକ ସଂଖ୍ୟାରେ ସ୍ବେଛାସେବୀଙ୍କ ଶରୀରରେ ନୂତନ ଟିକାର ପରୀକ୍ଷଣ କରାଯିବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି। ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନିମନ୍ତେ ଦେଶର ୨୧ଟି ମେଡିକାଲ ଅନୁଷ୍ଠାନକୁ ଆଇସିଏମଆର ପକ୍ଷରୁ ଚୟନ କରାଯାଇଥିବା ବେଳେ ଓଡିଶାର ଏକମାତ୍ର ଅନୁଷ୍ଠାନ ଭାବେ ଆଇଏମ୍ଏ‌ସ୍‌ ଓ ସମ ହସ୍ପିଟାଲକୁ ମନୋନୀତ କରାଯାଇଛି।

କରୋନା ମହାମାରୀର ପ୍ରଭାବ ଦେଶରେ ବଢ଼ି ଚାଲିଥିବା ବେଳେ ଏହାକୁ ପ୍ରତିହତ କରିବା ନିମନ୍ତେ ପ୍ରସ୍ତୁତ କରାଯାଉଥିବା ଏହି ଟିକାର ପରୀକ୍ଷଣ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା କହିଛନ୍ତି ଆଇଏମଏସ ଆଣ୍ଡ ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ତଥା ଏହି ପରୀକ୍ଷଣର ମୁଖ୍ୟ ପରୀକ୍ଷକ ପ୍ରଫେସର ଇ. ଭେଙ୍କଟ ରାଓ। ଏହି ତୃତୀୟ ପର୍ଯ୍ୟାୟରେ ବୟସ ସୀମା, ଯୋଗ୍ୟତା ଏବଂ ସ୍କ୍ରିନିଂ ପ୍ରକ୍ରିୟାକୁ କୋହଳ କରାଯିବ ଏବଂ ସୁସ୍ଥ ସ୍ବେଛାସେବୀମାନେ ଏହି ପର୍ଯ୍ୟାୟ ନିମନ୍ତେ ଚୟନ କରାଯାଇ ପାରିବେ।

ସମ୍ବନ୍ଧିତ ଖବର