୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଫଳରେ ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୩ ସେପ୍ଟେମ୍ବର, ବୁଧବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର, ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଶନିବାର) ସକାଳୁ ଆକାଶ ମେଘମୁକ୍ତ ଏବଂ ଖରାଟିଆ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସମ୍ବନ୍ଧିତ ଖବର