ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ମଙ୍ଗଳବାର) ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହିବା ସହ ପଞ୍ଜାବର ଅମୃତସରରୁ ବାହାରି, କର୍ଣ୍ଣଲ, ମିରଟ, ଲକ୍ଷ୍ନୌ, ଗୟା ଏବଂ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ନାଗାଲାଣ୍ଡ ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ବଡ଼ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।
ଏ ପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଜି ସକାଳୁ ରାଜ୍ୟର ଏକାଧିକ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିିମ ଓଡ଼ିଶାର ୨୧ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି ବୋଲି ଆଜି (ମଙ୍ଗଳବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୩ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ୨୧ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2023/08/A1-11-scaled.jpg)
ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କନ୍ଧମାଳ ପ୍ରଭୃତି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Yellow-Warning-For-Heavy-Rain-Thunderstorm_Weather_Thumbnail.jpg)