ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଏହି ସମୟ ମଧ୍ୟରେ ଦିନ ସମୟରେ ଆକାଶରୁ ନିଆଁ ବର୍ଷିବା ସହ ଅପରାହ୍ନ/ ସନ୍ଧ୍ୟା ବେଳକୁ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିବ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୦ ତାରିଖ ଶନିବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
/sambad/media/post_attachments/wp-content/uploads/2023/06/A1-4-scaled.jpg)
ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ଏହି ସମୟ ମଧ୍ୟରେ ଟୁଇନ୍ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ବିଶେଷକରି ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା (ଦିନର ତାପମାତ୍ରା) ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ।
/sambad/media/post_attachments/wp-content/uploads/2023/06/A2-4-scaled.jpg)
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୦ ତାରିଖ ଶନିବାର ଦିନ ପଶ୍ଚିମ ଓଡ଼ିଶାର ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଦିନର ତାପମାତ୍ରା ୪୫ ଡିଗ୍ରି ଉପରେ ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଅଂଶୁଘାତ ପ୍ରତି ସାବଧାନତା ଅବଲମ୍ବନ ସହ ଦିନ ସମୟରେ ଖରାରେ ବାହାରକୁ ଯିବା ବେଳେ ଲୋକଙ୍କୁ ପ୍ରାକ୍ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Rain-Thunderstorm-in-These-Districts_Weather_Thumbnail.jpg)