ଭୁବନେଶ୍ୱର: ମୌସୁମୀ ଟ୍ରଫ୍ ଲାଇନ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟକୁ ଅତିକ୍ରମ କରି ଝାରସୁଗୁଡା, ଗୋପାଳପୁର ଉପର ଦେଇ ୱେଲ୍ ମାର୍କିତ ଲୋ ପ୍ରେସର ଏରିଆର କେନ୍ଦ୍ର ଦେଇ ଗତି କରୁଛି। ଏଥିସହ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ଅବସ୍ଥିତ ରହି ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।
ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୮ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି ଓ ନୂଆପଡ଼ା ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ଜିଲ୍ଲା ସମେତ କୋରାପୁଟ, ମାଲକାନାଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଓଡିଶାର ବାକି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।