କାଳବୈଶାଖୀ: ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ୧୫ ଜିଲ୍ଲାରେ ୪୦-୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କୁଆପଥର ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅନ୍ୟ ପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ୨ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପୁଣି ଧୀରେଧୀରେ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୯ ଓ ୨୬ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ଅଛି।

ସମ୍ବନ୍ଧିତ ଖବର