କାଳବୈଶାଖୀ: ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ୩୦-୪୦ କିମି ବେଗରେ ବହିବ ପବନ; ୬ରେ ଲଘୁଚାପ

Advertisment
କାଳବୈଶାଖୀ: ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ୩୦-୪୦ କିମି ବେଗରେ ବହିବ ପବନ; ୬ରେ ଲଘୁଚାପ

ଭୁବନେଶ୍ୱର: ଆଗାମୀ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ମେ ୬ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

publive-image
ଆଗାମୀ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୪ ତାରିଖ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ନୂଆପଡା, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନାଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଂଜ ଓ କଳାହାଣ୍ଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ। ଏହାକୁ ଦୃଷ୍ଟିରେ ରଖି ଏହି ୧୫ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

publive-image

ସେହିପରି ଏହି ସମୟ ମଧ୍ୟରେ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe