ଭୁବନେଶ୍ୱର: ସମଗ୍ର ରାଜ୍ୟରେ ବିଗତ ତିନିଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୧ ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୩ଟି ବଜ୍ରପାତ, ବର୍ଷା ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି।
ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଂଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୩ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ଉତ୍ତର ଉପକୂଳ ଓଡ଼ିଶା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କୋରାପୁଟ, ରାୟଗଡ଼, କନ୍ଧମାଳ, ଗଂଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ଏବଂ ଏହା ୨-୩ ଡିଗ୍ରି ସେଲସିୟସ ହ୍ରାସ ପାଇବ। ତେବେ, ପରବର୍ତ୍ତୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ତାପମାତ୍ରା ୨-୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଅପ୍ରେଲ ୨୪ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ୪୦ଡିଗ୍ରି ସେଲସିୟସରୁ ଅଧିକା ରହିବା ସହ ସ୍ୱାଭାବିକ ଠାରୁ ୨-୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବା ସହ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି। ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୮ ଡିଗ୍ରି ଏବଂ ୨୭ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ରହିଛି।