ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Advertisment

ସେହିପରି ଗୁରୁବାର ଦିନ ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବରଗଡ, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ଦିନ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ତଥା ରାଜ୍ୟର ବାକି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରି ଭୁବନେଶ୍ୱର ଠାରେ ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରି ରାଜ୍ୟର ସମତଳ ଅଞ୍ଚଳ ଫୁଲବାଣୀ ଓ ବୌଦ୍ଧରେ ରେକର୍ଡ କରାଯାଇଥିଲା।