ଭୁବନେଶ୍ୱର: ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ଜାରି ସତର୍କ ସୂଚନା ମତାବକ ଆଜି (୧୬ ଅପ୍ରେଲ, ଶୁକ୍ରବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୧୭ ଅପ୍ରେଲ, ଶନିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କୋରାପୁଟ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, ଦେବଗଡ ଓ ସୁନ୍ଦରଗଡ ପ୍ରଭୃତି ୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।
ଏଥିସହ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ୨୦ ଓ ୨୧ ତାରିଖରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।