ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାରେ କେବେ ପହଞ୍ଚିବ ସେନେଇ କୌଣସି ପ୍ରକାରର ସ୍ପଷ୍ଟ ଚିତ୍ର ଏଯାବତ୍‌ ମିଳିପାରି ନାହିଁ। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧିତ ଖବର