ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ: ୨୪ ଘଣ୍ଟାମଧ୍ୟରେ ୫ ଜିଲ୍ଲାରେ ଝଡ଼ବର୍ଷା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ସକ୍ରିୟ ହେବାର ସମ୍ଭାବାନା ରହିଥିବା ବେଳେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଛି। ଏବଂ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୬ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୫ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସୟରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧିତ ଖବର